ବଡ଼ଓଷା କଥା

Odia Festival Bada Osha (ବଡ଼ଓଷା) Katha

୧୨ ମାସରେ ୧୩ ପର୍ବ କାହିଁକି ୨୩ ନୁହେଁ ୩୩ ଠାରୁ ବି ଅଧିକ ପର୍ବପାଳନ ହୁଏ ଓଡ଼ିଶାରେ । ତନ୍ମଧ୍ୟରୁ କାର୍ତ୍ତିକ ମାସର ଶୁକ୍ଳ ତ୍ରୟୋଦଶୀ ତିଥିରେ ପାଳନ ହେଉଥିବା ବଡ଼ଓଷା ହେଉଛି ଅନ୍ୟତମ । ଏହିଦିନ ବାବା ଧବଳେଶ୍ୱରଙ୍କ ପୀଠରେ ବିଶେଷ ପୂଜା ଅନୁଷ୍ଠାନ କରାଯାଏ ଓ ବାବା ଧବଳେଶ୍ୱର ବଡ଼ସିଂହାର ରୂପରେ ଦର୍ଶନ ଦିଅନ୍ତି ।

ବଡ଼ ଓଷା ଭୀଷ୍ମ ପଞ୍ଚକ ମଧ୍ୟରେ ବଡ଼ ଏକାଦଶୀ ବା ଦେବ ଉତ୍ଥାନ ଏକାଦଶୀ ପରେ ପାଳିତ ହୋଇଥାଏ । ହରିଶୟନ ଏକାଦଶୀଠାରୁ ଚତୁର୍ମାସ୍ୟା ନିଦ୍ରାରେ ଥିବା ଦେବତାମାନେ ଏହି ଏକାଦଶୀ ତିଥିରେ ନିଦ୍ରାତ୍ୟାଗ କରିଥାନ୍ତି ।

ଏହି ପୂଜା ଅବସରରେ ମହାଦେବଙ୍କୁ ସ୍ୱତନ୍ତ୍ର ପୂଜା କରାଯାଏ । ପୂଜାଦିନ ଭୋରରୁ ଧବଳେଶ୍ୱରଙ୍କୁ ୧୦୮ ଗରା ପାଣିରେ ସ୍ନାନ କରାଯାଇ, ମଙ୍ଗଳ ଆରତୀ ଓ ମଇଲମ ଆଦି ରୀତିନୀତି କରାଯାଏ । ତରଣ ଓ ଗଜା ପିଠା ବା ଗଜା ମଣ୍ଡା ଭୋଗ ଲଗାଯାଏ । ଅରୁଆ ଚାଉଳ ଚୂନାରେ ଏହି ପିଠା ତିଆରି କରାଯାଏ । ପିଠାରେ ମୁଗ, ନଡ଼ିଆ, ଗୁଡ଼, ଗୁଜୁରାତି ଆଦି ପୁର ଦିଆଯାଏ । ମହାଦେବଙ୍କୁ ପୂଜା କରାଯିବା ପରେ ଭକ୍ତମାନେ ଏହି ପିଠା ସେବନ କରନ୍ତି ।

ପଦ୍ମପୁରାଣ ମତେ ବ୍ରହ୍ମାଙ୍କ ଅଭିଶାପରୁ ମୁକ୍ତି ପାଇବା ପାଇଁ ଇନ୍ଦ୍ର ଧବଳେଶ୍ୱରଙ୍କ ନିକଟରେ ବଡ଼ଓଷା ବ୍ରତ ପାଳନ କରି କାର୍ତ୍ତିକ ପୂର୍ଣ୍ଣିମାରେ ବୁଡ଼ ପକେଇ ଶାପମୁକ୍ତ ହୋଇଥିଲେ । ଅନ୍ୟ ଏକ କାହାଣୀ ଅନୁସାରେ ଉତ୍କଳରେ କ୍ରତୁ ନାମକ ଧାର୍ମିକ ରାଜା ଥିଲେ । ସେ ଥରେ ଶିକାର ଉଦ୍ଦେଶ୍ୟରେ ବନକୁ ଯାଇଥିଲେ । ବନରେ ଲକ୍ଷ୍ୟହୀନଭାବେ ଯାଉଥିବା ବେଳେ ଏକ ଭଙ୍ଗା ଶିବମନ୍ଦିର ପାଖରେ ପହଞ୍ଚିଲେ । ସେଠାରେ ନାଗପୁରର ରାଜକୁମାରୀ ହରପ୍ରିୟା କ୍ରତୁଙ୍କୁ ବିବାହ କାମନା କରି ପୂଜାକରୁଥିଲେ । ମନ୍ଦିର ନିକଟରେ ଉଭୟଙ୍କର ଭେଟ ହେଲା ଓ ସେମାନେ ବିବାହ କଲେ । ବିବାହ ପରେ ରାଜା ଭୋଗ ବିଳାସରେ ରହି ରାଜ୍ୟକଥା ବୁଝିଲେ ନାହିଁ । ଫଳରେ ବାହ୍ୟଶତ୍ରୁଙ୍କ ପରାଜିତ ହୋଇ ରାଜ୍ୟ ହରାଇବାକୁ ପଡ଼ିଲା । ସେ ବଣରେ ରାଣୀଙ୍କ ସହିତ ଦୁଃଖରେ କାଳାତିପାତ କଲେ । ସେହି ବନରେ ଜଣେ ଶିବପୂଜକ ସନ୍ୟାସୀ ବାସକରୁଥିଲେ । ସେ ଥରେ ଶିବଙ୍କ ପୂଜା ଉଦ୍ଦେଶ୍ୟରେ କେତକୀ ଫୁଲ ନେଇ ଯାଉଥିଲେ । ରାଜା ସେହି ଫୁଲଗୁଡ଼ିକୁ ସନ୍ୟାସୀଙ୍କଠାରୁ ବଳପୂର୍ବକ ଛଡ଼ାଇନେଇ ରାଣୀଙ୍କୁ ଅର୍ପଣକଲେ । ଶିବ ରୁଷ୍ଟ ହେଲେ ଓ ରାଜାଙ୍କୁ କୁଷ୍ଠରୋଗ ହେଲା । ତାଙ୍କର ଦୁଃଖ ବଢ଼ି ଚାଲିଲା । ରାଣୀ ରାଜାଙ୍କ ସେବା ଓ ଈଶ୍ୱର ଭକ୍ତିରେ ସମୟ ଅତିବାହିତ କରୁଥିଲେ । ସେ ଜଣେ ସନ୍ୟାସୀଙ୍କୁ ଭେଟି ରାଜାଙ୍କର ଆରୋଗ୍ୟ ଉପାୟ ପଚାରିଲେ । ଶିବଭକ୍ତଙ୍କ ଅଭିଶାପରୁ ରାଜାଙ୍କୁ କୁଷ୍ଠରୋଗ ହୋଇଛି ବୋଲି ସନ୍ୟାସୀ ଜଣାଇଲେ । ରାଣୀ ସନ୍ୟାସୀଙ୍କ ପରାମର୍ଶରେ ମହାନଦୀ ଗର୍ଭରେ ଥିବା ଧବଳେଶ୍ୱରଙ୍କ ନିକଟରେ ନିଷ୍ଠାର ସହିତ ବଡ଼ଓଷା ବ୍ରତ ପାଳନ କଲେ । ଶିବ ସନ୍ତୁଷ୍ଟ ହୋଇ ବର ପ୍ରଦାନ କଲେ । କ୍ରତୁ ରୋଗମୁକ୍ତ ହୋଇ ସପତ୍ନୀକ ଓ ପୁତ୍ର ସନ୍ତାନ ସହ ରାଜତ୍ୱ କଲେ ।

– ସଂଗ୍ରାମ କେଶରୀ ସେନାପତି
(ଉତ୍ସ: ଓଡ଼ିଆ ଉଇକିପିଡ଼ିଆ)

Comments

comments

ଅନ୍ୟମାନଙ୍କ ସହ ସେୟାର କରନ୍ତୁ...

Leave a Reply